ପୁରୀ, ୭ ନଭେମ୍ବର (ହି.ସ.)- ଆସନ୍ତାକାଲି ବୁଧବାର କାର୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି ।
ବନକଲାଗି ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ଵାର ବନ୍ଦ ରହିବ । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ । ବନକଲାଗି ପରେ ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଭକ୍ତ ମାନେ ପୁଣି ଶ୍ରୀ ବିଗ୍ରହ ମାନଙ୍କ ଦର୍ଶନର ସୁଯୋଗ ପାଇବେ ।
ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ ।
ହିନ୍ଦୁସ୍ଥାନ ସମାଚାର/ବିଜୟ/ପ୍ରଦୀପ୍ତ/ସମନ୍ୱୟ
