ଭୁବନେଶ୍ୱର, 8 ଡିସେମ୍ବର (ହି.ସ.) – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅନୁଗୁଳ ଜିଲ୍ଲା ତାଳଚେରରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲକୁ ଭର୍ଚ୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି । ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସଫଳ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି ।
ତାଳଚେରକୁ ସଂଗ୍ରାମ ଓ ସ୍ୱାଭିମାନର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆଗାମୀଦିନରେ ଏହି ମେଡିକାଲକୁ ଏକ କଲେଜରେ ପରିଣତ କରାଯିବ । ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି । ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍ କଲେଜ, ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି । ନୂଆ ନୂଆ ଚିକିତ୍ସା ସେବା ଉପଲବ୍ଧ ହେବା ଦ୍ୱାରା ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବୃଦ୍ଧି ପାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ସଂସଦୀୟ ବ୍ୟାପାର ତଥା କୋଇଲାଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଭେଙ୍କଟେଶ ଯୋଶୀ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ଥିଲେ । ସେହିପରି ତାଳଚେର ଠାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଂଜନ ପୂଜାରୀ ଓ ଢେଙ୍କାନାଳ ସାଂସଦ ମହେଶ ସାହୁ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ
